ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
୨ ଲକ୍ଷ ମିଶନ ଶକ୍ତି ମା ଓ ତୃଣମୂଳ ଷ୍ଟାଫ୍ ପାଇବେ ସ୍କୁଟର ଋଣ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନ୍ସନ୍ ସେଂଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ । ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ । ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ । ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ । ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ । ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ଗତି ହିଁ ଶକ୍ତି । ଗତି ହିଁ ସଶକ୍ତିକରଣ । ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ । ବୃତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ । ମା’ମାନେ ବହୁତ ଭଲ କାମ କରୁଛନ୍ତି । ମୋର ପୁରା ବିଶ୍ୱାସ ମା’ମାନେ ଏବେ ଆହୁରି ଭଲ କାମ କରିବେ । ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜୁବୁତ ହେବ । ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ । ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନ୍ କୁ ସରକାରୀ କାର୍ଯ୍ୟ ପାଇଁ ଯାନସୁବିଧା ଯୋଗାଇଦେବା ବାବଦରେ ଘୋଷଣା କରିଥିଲେ । ଯାନସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ । ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଂଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆ ଯାଉଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ମା’ ମଙ୍ଗଳା ଏସ୍.ଏଚ୍.ଜି ଓ କଟକ ଜିଲ୍ଲାର ଜୟ ଶ୍ରୀରାମ ଏସ୍. ଏଚ୍.ଜିକୁ ସୁଧ ବାବଦ ଚେକ୍ ହସ୍ତାନ୍ତର କରିଥିଲେ । ମୁଖ୍ୟମନ୍ତ୍ରୀ ଉପସ୍ଥିତ ମା’ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ ମା’ମାନଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି । ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି ।
କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ଗତିଶୀଳତା ହିଁ ସଶକ୍ତିକରଣ । ଏହି ଯୋଜନା ମାଧ୍ୟମରେ ୨ ଲକ୍ଷ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ,ବିଜନେସ୍ କରେସପଣ୍ଡେଂଟ ଏଜେଂଟ ଏବଂ ଏକଜିକ୍ୟୁଟିଭ୍ କମିଟି ମେମ୍ବର ସେମାନଙ୍କ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇବେ । ଏହି ପଦକ୍ଷେପ ମିଶନ ଶକ୍ତି ଫେଡେରେସନ୍ ସହିତ କାର୍ଯ୍ୟରତ ଓ ଏହା ଅଧିନରେ କାର୍ଯ୍ୟରତ ସଦସ୍ୟାମାନଙ୍କ ଯାତାୟତକୁ ସୁଗମ କରିବା ସହିତ ସେମାନଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ଦିଗରେ ସହାୟକ ହେବ ।
ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜତା ଆର୍ କାର୍ତିକେୟନ୍ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଅବସରରେ କହିଥିଲେ ଯେ ୧୫ ହଜାର ଏସ୍.ଏଚ୍.ଜି ମା’ ସ୍କୁଟର ନେଇଛନ୍ତି । ପର୍ଯ୍ୟାୟକ୍ରମେ ସ୍କୁଟର ନେବେ । ଆମର ଏକଜିକ୍ୟୁଟିଭ୍ କମିଟି ମେମ୍ବରମାନେ ହେଲେ ମିଶନ ଶକ୍ତିର ସେନାପତି । ସେମାନେ ମିଶନ ଶକ୍ତିକୁ ନୂଆ ଦିଗ ଦେଉଛନ୍ତି । ଏହି ସ୍କୁଟର ହେଉଛି ମିଶନ ଶକ୍ତି ମା’ ମାନଙ୍କ ପରିଚୟର ପ୍ରତୀକ । ଦକ୍ଷତାର ପ୍ରତୀକ ।
କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟଶାସନ ସଚିବ ପି.କେ. ଜେନା , ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ, ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗିତାଞ୍ଜଳୀ ବସ୍ତିଆ ଉପସ୍ଥିତ ଥିଲେ । ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସଂଘର ସଦସ୍ୟାମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଏନ୍. ତିରୁମାଲା ନାୟକ ଧନ୍ୟବାଦ ଦେଇଥିଲେ ।