Breaking PLUSଓଡ଼ିଶାମୁଖ୍ୟ ଖବର

କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ

ଭୁବନେଶ୍ୱର- ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ନବମ ଦିନରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।

ଏଥିପାଇଁ କଳାହାଣ୍ଡି ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୫୫ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଜୁନାଗଡ, ଲାଞ୍ଜିଗଡ, ନର୍‌ଲା, ଧର୍ମଗଡ, ଭବାନିପାଟଣା । ଏହିସବୁ ନିର୍ବାଚନମଣ୍ଡଳୀର ୧୩ଟି ବ୍ଲକ୍‌‌ର ୩୧୦ଟି ଗ୍ରାମ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ। ସେହିପରି ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ। ଏଥିରେ ୧୦ଟି ବ୍ଲକ୍‌ର ୧୮୯ଟି ଗ୍ରାମପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ।

ଆଜିର କାର୍ଯ୍ୟକ୍ରମ ପାଇଁ କଳାହାଣ୍ଡି ଜିଲ୍ଲାର ୫ଟି ଓ ନବରଙ୍ଗପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Show More

Related Articles

Back to top button