Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି- ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି

୧୮୦ ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ ହେଲା

 

ଭୁବନେଶ୍ୱର, 21 ମେ- ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି।  କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ  ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।

ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।

ନୂତନ ନିଷ୍ପତ୍ତି ଅନୁଯାୟୀ- ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ ।

କିନ୍ତୁ, ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ |

 

ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ଵ ଛୁଟିରେ ଥିବା ସମୟରେ ଯଦି ଗର୍ଭପାତ କିମ୍ବା ଜନ୍ମିତ ଶିଶୁର ମୃତ୍ୟୁ (ଜନ୍ମର ୨୮ ଦିନ ମଧ୍ୟରେ) କିମ୍ବା ମୃତ ଶିଶୁ ଜନ୍ମ (୨୮ ସପ୍ତାହ କିମ୍ବା ତଦୁର୍ଦ୍ଧ୍ବ ସମୟର ଗର୍ଭଧାରଣ ପରେ ଯଦି ନିର୍ଜୀବ ଶିଶୁର ଜନ୍ମ ହୁଏ) ହୁଏ, ତେବେ ତାଙ୍କର ମାତୃତ୍ବ ଛୁଟିର ଅବଧି ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ରହିବ ।

କିନ୍ତୁ ଯଦି ଶିଶୁର ମୃତ୍ୟୁ ଜନ୍ମର ୨୯ ଦିନରୁ ୧୨୦ ଦିନ ମଧ୍ୟରେ ହୁଏ, ତେବେ ସମ୍ପୃକ୍ତ ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ବ ଛୁଟି ସେହି ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ରହିବ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଶେଷ ହୋଇଯାଇଥିବ, ତେବେ ସେ ୧୪ ଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ କିମ୍ବା ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଦୁର୍ଘଟଣା ଦିନଠାରୁ ୧୪ ଦିନ ଭିତରେ ଶେଷ ହୋଇଯାଉଥିବ, ତେବେ ସେ ୧୪ ଦିନରୁ ଯେତିକି ଦିନ ବଳକା ରହିଯାଉଥିବ, ସେତିକିଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ ।

ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ ।

ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ( ହାର୍ଡ କିମ୍ବା ସଫ୍ଟ କପି ) ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ । ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button