ପୁରୀ ବିମାନବନ୍ଦର ପାଇଁ ନୀତିଗତ ଅନୁମୋଦନ
ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

ଭୁବନେଶ୍ୱର-
ପୁରୀରେ ଏକ ନୂତନ ବିମାନ ବନ୍ଦର ସ୍ଥାପନ ପାଇଁ କେନ୍ଦ୍ର ସରକାର ନୀତିଗତ ଭାବେ ଅନୁମୋଦନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।
ନିଜର ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡଲ ‘ଏକ୍ସ’ରେ ପୋଷ୍ଟିଙ୍ଗ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ଦ୍ୱାରା ଓଡିଶାରେ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଓ ଯୋଗାଯୋଗ ବ୍ୟବସ୍ଥାରେ ବ୍ୟାପକ ଉନ୍ନତି ଆସିପାରିବ ।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ସମୃଦ୍ଧ ଓଡିଶା ଗଠନ ଲକ୍ଷ୍ୟରେ ରାଜ୍ୟରେ ବ୍ୟାପକ ଭିତ୍ତିଭୂମିର ବିକାଶ ସହିତ ଶିଳ୍ପ ବିକାଶ ଉପରେ ଗୁରୁତ୍ୱ ଆରୋପ କରୁଛନ୍ତି । ରାଜ୍ୟରେ ବିଭିନ୍ନ ବିମାନ ଚଳାଚଳ ଭିତ୍ତିଭୂମିର ସୁଦୃଢୀକରଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ପୁରୀ ସହିତ ପାରାଦୀପରେ ମଧ୍ୟ ଏକ ନୂଆ ବିମାନ ବନ୍ଦର କରିବାର ଯୋଜନା ରହିଛି । ପୁରୀ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିବା ପରେ ଆହୁରି ଅଧିକ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକ ଓଡିଶା ଆସିବାର ସୁଯୋଗ ପାଇବେ ଓ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି