Breaking PLUSଓଡ଼ିଶାମୁଖ୍ୟ ଖବର

ରାୟଗଡାରେ ୮୭୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଜରିଆରେ ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୭ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି । ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ।

ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍‌ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ୱାରା ଗୁଣୁପୁର ବ୍ଲକ୍‌ର ୧୦୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାୟଗଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହା ଦ୍ୱାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହା ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ସେମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ସ୍ମାର୍ଟ ହେଲ୍‌ଥ କାର୍ଡ ସମ୍ଭବ କରିପାରିଛି ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସାଂସଦ ଶ୍ରୀ ଭାସ୍କର ରାଓ, ରାୟଗଡା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି କହିଥିଲେ । ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Show More

Related Articles

Back to top button