Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ରବିବାର ୧୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

୨୭ ପରେ ବଦଳିବ ପାଗ

ଆଜି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଶୁକ୍ରବାର ଝାଡ଼ଖଣ୍ଡ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୪.୫ କିମି ଯାଏ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ଆକଳନ କରିଛି । ସେହିପରି ଜୁନ ୧୫ରୁ ୨୫ ମଧ୍ୟରେ ରାଜ୍ୟରେ ୯୮.୩ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ଏହି ସମୟରେ ସ୍ୱାଭାବିକ ବର୍ଷା ୯୪.୭ ତୁଳନାରେ ପାଖାପାଖି ୪% ଅଧିକ । ୧୬ରେ ମୌସୁମୀ ଛୁଇଁବା ପରେ ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦାବି କରିଛି ।

ରବିବାର ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ୨୭ରେ ସାମାନ୍ୟ ବର୍ଷା କମିବ ବୋଲି ସେ ଆକଳନ କରିଛନ୍ତି । ଅପରପକ୍ଷେ, ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଘୂର୍ଣ୍ଣିବଳୟ ବିଶେଷ ପ୍ରଭାବ ପକାଇ ପାରିନାହିଁ । ବାୟୁରେ ଚାପ ନଥିବାରୁ, ତା’ର ପ୍ରଭାବରେ ବିଶେଷ ବର୍ଷା ହେବନି ବୋଲି ଡ. ସାହୁ ଆକଳନ କରିଛନ୍ତି । ଗତ ୨୪ ଘଣ୍ଟାରେ ଢେଙ୍କାନାଳର ଭୁବନରେ ୧୪୦ ମିଲିମିଟର ବର୍ଷା ହୋଇଥିବା ବେଳେ ବରଗଡ଼ର ଅତାବିରରେ ୧୧୩ ମିଲିମିଟର, ମୟୂରଭଞ୍ଜର ଶୁଳିଆପଦାରେ ୯୫, କରଞ୍ଜିଆରେ ୯୧, ଭଦ୍ରକରେ ୮୬, ଗଞ୍ଜାମ ପୋଲସରାରେ ୮୦ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

Show More

Related Articles

Back to top button