Breaking PLUSଓଡ଼ିଶାପାଣିପାଗ

ଡରାଇଲାଣି ବାତ୍ୟା ‘ଜୱାଦ’, ଶନିବାର ଛୁଇଁବ ସ୍ଥଳଭାଗ

ଘଣ୍ଟାପ୍ରତି ପବନର ବେଗ ରହିବ ୧୧୦ କିମି!

ପୁଣି ଓଡ଼ିଶାକୁ ବାତ୍ୟା ଭୟ । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବା ସହ ଆସନ୍ତା ଡିସେମ୍ବର ୪ ତାରିଖ ଶନିବାର ସକାଳେ ସ୍ଥଳଭାଗ ଛୁଇଁବ । ଏହି ବାତ୍ୟା ‘ଜୱାଦ’ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଏହାର ପ୍ରଭାବରେ ଘଣ୍ଟାପ୍ରତି ଅତି ବେଶୀରେ ୧୧୦ କିମି ପର୍ଯ୍ୟନ୍ତ ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଡିସେମ୍ବର ୩ ତାରିଖ ମଧ୍ୟରାତ୍ରିରୁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ଝଡ଼ପବନ ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆବଶ୍ୟକ ପ୍ରସ୍ତୁତି ଆରମ୍ଭ କରିବା ସହ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।

ଆଜି ‘ବାତ୍ୟା’ ଜୱାଦ ସମ୍ପର୍କରେ ସୂଚନା ଜାରି କରି ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଆଣ୍ଡାମାନ ସାଗରରେ ଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଡିସେମ୍ବର ୨ତାରିଖ ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବ । ଯାହାକି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅଧିକ ତୀବ୍ର ହେବା ସହ ଡିସେମ୍ବର ୪ ତାରିଖ ସକାଳ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପହଂଚିବାର ସମ୍ଭାବନା ରହିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାରୁ ଅନୁସାରେ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କିମି ରହିବ । ଝଟକା ପବନର ବେଗ ଘଣ୍ଟା ପ୍ରତି ୮୫ କିମି ରହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିସହ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାତ୍ୟାର ପ୍ରଭାବରେ ଘଣ୍ଟା ପ୍ରତି ୯୦ରୁ ୧୦୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଝଟକା ପବନ ୧୧୦ କିମି ପର୍ଯ୍ୟନ୍ତ ବହିପାରେ ।

୫ ତାରିଖ ସକାଳ ସାଢ଼େ ୮ଟାରୁ ୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସ୍ଥିତି ଉପରେ ସତର୍କ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲି ସମ୍ଭାବ୍ୟ ବାତ୍ୟା ଓ ବର୍ଷାର ମୁକାବିଲା ପାଇଁ ଆବଶ୍ୟକ ପ୍ରତିଷେଧକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।

 

 

 

Show More

Related Articles

Back to top button